ଆଉ ୪ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ଆଉ ୪ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ଆଉ ୪ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ରାଜ୍ୟର ଆଉ ୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏଥିରେ ଦୁଇ ଜଣ ଓଡିଶା ପ୍ରଶାସନିକ ଅଧିକାରୀ ରହିଥିବା ବେଳେ, ଜଣେ ଜିଲ୍ଲା ସବ୍ ରେଜିଷ୍ଟ୍ରାର ଓ ଜଣେ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ରହିଛନ୍ତି । ଏ ସମସ୍ତଙ୍କ ନାମରେ ଦୁର୍ନୀତି ଅଭିଯୋଗ ରହିଛି । ଏହି ୪ ଜଣଙ୍କ ମଧ୍ୟରୁ ଅନୁଗୁଳର ଡେପୁଟି କଲେକ୍ଟର ଜାନକୀନାଥ ମିଶ୍ରଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲା ରହିଥିବା ବେଳେ, ୯ଟି ବିଭାଗୀୟ ପ୍ରୋସିଡିଙ୍ଗ୍ସ କରାଯାଇଛି। ଦୁର୍ନୀତିଗ୍ରସ୍ତ ହେବା ସହିତ କାର୍ୟ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରମାଣିତ ହୋଇଛି। ଏଥିପାଇଁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।  

ସେହିପରି ଗଜପତି ଜିଲ୍ଲାର ନୂଆଗଡ ତହସିଲଦାର ଆକୁଳ ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଥିବା ବେଳେ ତାଙ୍କ ବିରୋଧରେ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗ୍ସ କରାଯାଇଛି। କାର୍ୟ୍ୟ କ୍ଷେତ୍ରରେ ଅପାରଗ ଥିବା ସହିତ ସେ ସରକାରୀ ପାଣ୍ଠି ଆତ୍ମସାତ କରିଥିଲେ। ଏହି କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଢେଙ୍କାନାଳର ଜିଲ୍ଲା ସବ୍ ରେଜିଷ୍ଟ୍ରାର ଶ୍ରୀ ଲଲାଟେନ୍ଦୁ ଶତପଥୀଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲ ରହିଛି । ତା ସହିତ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗ୍ସ ମଧ୍ୟ ରହିଛି । ତାଙ୍କର ସାଧୁତା ସନ୍ଦେହଜନକ ରହିଥିଲା ଏବଂ କାର୍ୟ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରତିପାଦିତ ହୋଇଥିବାରୁ, ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ନୂଆପଡାର ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ଡଃ ତ୍ରିଲୋଚନ ଧଳଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ତାଙ୍କ ନିକଟରେ ବହୁ ପରିମାଣରେ ହିସାବ ବହିର୍ଭୁତ ଟଙ୍କା ମିଳିଥିଲା ଏବଂ ସେଥିପାଇଁ ତାଙ୍କ ବିରୋଧରେ ଦୁର୍ନୀତି ମାମଲା କରାଯାଇଥିଲା । ଅସାଧୁତା ଓ ଅପାରଗତା କାରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।  

ଉପରୋକ୍ତ ୪ ଜଣ ଅଧିକାରୀଙ୍କ ସମେତ ଏପର୍ୟ୍ୟନ୍ତ ୧୨୨ ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।